ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ

0
149
ପବିତ୍ର ସାବିତ୍ରୀ ଅମାବାସ୍ୟା

ରିପୋର୍ଟ : ଦେବଦତ୍ତ ରଥ
କଳାହାଣ୍ଡି, (୩୦/୦୫) : ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ । ଦେବୀ ସାବିତ୍ରୀଙ୍କ ମାନବୀ ସାବିତ୍ରୀଙ୍କ ପ୍ରତି ଆଶୀର୍ବାଦ ଓ କରୁଣା କିପରି ସତ୍ୟବାନଙ୍କୁ ମୃତ୍ୟୁ କବଳରୁ ଫେରାଇ ଆଣିଲା, ତାହାକୁ ଆଧାର କରି ମାଁ ସାବିତ୍ରୀଙ୍କୁ ମହିମାନ୍ୱିତ କରାଯାଇଥାଏ ।

ଓଡ଼ିଶାରେ ବାର ମାସରେ ତେର ପର୍ବ ଭିତରେ ପବିତ୍ର ସାବିତ୍ରୀ ଅମାବାସ୍ୟା ବା ସାବିତ୍ରୀ ବ୍ରତ ଅନ୍ୟତମ । ସାବିତ୍ରୀ ଓଷା ବା ସାବିତ୍ରୀ ବ୍ରତ ଓଡ଼ିଶାରେ ସଧବା ନାରୀମାନଙ୍କ ପାଳିତ ଏକ ମୁଖ୍ୟ ଓଷା । ସାବିତ୍ରୀ ସାଧ୍ୱୀ ନାରୀଙ୍କର ଆଦର୍ଶ । ତେଣୁ ନିଜ ପତିଙ୍କର ଦୀର୍ଘ ଆୟୁଷ ନିମନ୍ତେ ମଙ୍ଗଳ ମନାସି, ସଧବା ସ୍ତ୍ରୀମାନେ ସାବିତ୍ରୀଙ୍କ ପରି ଆଜୀବନ ସଧବା ହେବା ପାଇଁ ଏହି ଓଷା ପାଳନ କରିଥାଆନ୍ତି ।

ଜ୍ୟୈଷ୍ଠ ଅମାବାସ୍ୟା ଦିନ ସାବିତ୍ରୀ ଓଷା ପାଳନ କରାଯାଇଥାଏ । ଏହି ଦିନ ସଧବା ସ୍ତ୍ରୀ ଲୋକମାନେ ଉପବାସ କରନ୍ତି, ଅନ୍ନ ଗ୍ରହଣ କରନ୍ତି ନାହିଁ । ଅପରାହ୍ଣରେ ପୂଜା ଶେଷ ହେଲେ ଧୂଆମୁଗ, ନଡ଼ିଆ, କଦଳୀ, ଆମ୍ବ, ପଣସ, ସପୁରୀ, ତାଳସଜ ଆଦି ଫଳାହାର କରନ୍ତି । ଏଥିପାଇଁ ଚଉଁରା ମୂଳେ ବା ଠାକୁର ଘରେ ବ୍ରତୋତ୍ସବ ପାଳନ ବେଳେ ସାବିତ୍ରୀ ଉପାଖ୍ୟାନ ପାଠ କରାଯାଏ । ବାସ୍ତବରେ ଏ’ ପୂଜା ର ଆରାଧ୍ୟା ଦେବୀ ହେଉଛନ୍ତି ମା’ ସାବିତ୍ରୀ । ସାବିତ୍ରୀ ବ୍ରହ୍ମାଙ୍କ ପତ୍ନୀ, ଗାୟତ୍ରୀ, ସୂର୍ଯ୍ୟାଧିଷ୍ଠାତ୍ରୀ ଦେବୀ । ଦେବୀ ସାବିତ୍ରୀଙ୍କ ମାନବୀ ସାବିତ୍ରୀଙ୍କ ପ୍ରତି ଆଶୀର୍ବାଦ ଓ କରୁଣା କିପରି ସତ୍ୟବାନଙ୍କୁ ମୃତ୍ୟୁ କବଳରୁ ଫେରାଇ ଆଣିଲା, ତାହାକୁ ଆଧାର କରି ମା’ ସାବିତ୍ରୀଙ୍କୁ ମହିମାନ୍ୱିତ କରାଯାଇଥାଏ ।

ସାବିତ୍ରୀ : ଜଣେ ସତୀର କାହାଣୀ –

ମଦ୍ର ଦେଶରେ ଅଶ୍ୱପତି ନାମରେ ଜଣେ ରାଜା ରାଜତ୍ୱ କରୁଥିଲେ । ସେ ଥରେ ଏକ ଯଜ୍ଞର ଆୟୋଜନ କଲେ । ଯଜ୍ଞରେ ସନ୍ତୁଷ୍ଟ ହୋଇ ଦେବୀ ଅଶ୍ୱପତିଙ୍କୁ ଦର୍ଶନ ଦେଇ ମନ ମୁତାବକ ବର ମାଗିବାକୁ କହିଲେ । ରାଜା ନିଃସନ୍ତାନ ଥିବାରୁ ପୁତ୍ର ସନ୍ତାନ ପାଇଁ ଦେବୀଙ୍କ ପାଖରେ ମିନତୀ କଲେ । ଦେବୀ ରାଜାଙ୍କୁ ପୁତ୍ର ସନ୍ତାନ ଲାଭ କରିବା ଯୋଗ ନ’ଥିବା ସୂଚାଇ ଦେଇ ଏକ ଉତ୍ତମ କନ୍ୟା ହେବାର ଆର୍ଶିବାଦ ଦେଇ ଅନ୍ତର୍ଦ୍ଧାନ ହୋଇଗଲେ ।

ଉପଯୁକ୍ତ ସମୟରେ ଦେବୀଙ୍କ କୃପାରୁ ଅଶ୍ୱପତିଙ୍କ ପତ୍ନୀଙ୍କ କୋଳରେ କନ୍ୟାଟିଏ ଜାତ ହେଲା । ସାବିତ୍ରୀ (ଗାୟତ୍ରୀ) ଙ୍କୁ ଉପାସନା କରି ତାଙ୍କ ଆଶୀର୍ବାଦରୁ କନ୍ୟା ସନ୍ତାନଟିଏ ଲାଭ କରି ଥିବାରୁ ରାଜା ତାହର ନାମ ସାବିତ୍ରୀ ରଖିଥିଲେ । ସାବିତ୍ରୀ କ୍ରମେ ଯୌବନରେ ପାଦ ଦେବା ପରେ ପିତା ଅଶ୍ୱପତିଙ୍କ ଆଦେଶମତେ ନିଜ ଇଚ୍ଛାରେ ବର ଖୋଜିବାକୁ ସମ୍ମତି ପ୍ରକାଶ କରି ସହଚରୀ ମାନଙ୍କ ସହ ପତି ଅନ୍ୱେଷଣାର୍ଥେ ଭ୍ରମଣ କରିବାକୁ ବାହାରିଲେ ।

ଶାଲ୍ୱ ଦେଶ ର ରାଜା ଦ୍ୟୁମତସେନଙ୍କ ଔରସରେ ଶୈବ୍ୟାଙ୍କ ଗର୍ଭରୁ ସତ୍ୟବାନ ଜନ୍ମଗ୍ରହଣ କରିଥିଲେ । ଦୈବୀ ଦୁର୍ବିପାକରୁ ସତ୍ୟବାନଙ୍କ ଶୈଶବାସ୍ଥାରେ ଦ୍ୟୁମତସେନ ଅନ୍ଧ ଓ ଭ୍ରଷ୍ଟରାଜ୍ୟ ହୋଇ ବନବାସୀ ହୋଇ ଯାଇଥିଲେ । ସତ୍ୟବାନ ବଣରେ ଫଳମୂଳ ଖାଇ ମୁନିବୃତ୍ତି ଅବଲମ୍ବନ କରି ଭକ୍ତି ସହକାରେ ପିତାମାତାଙ୍କର ସେବା କରୁଥିଲେ । ସାବିତ୍ରୀ ଭ୍ରମଣ କରୁକରୁ ସେହି ବଣରେ ପହଞ୍ଚି ସତ୍ୟବାନଙ୍କ ଅସୀମ ପିତୃଭକ୍ତି, ଧର୍ମପରାୟଣାତା ଓ ରୂପରେ ମୁଗ୍ଧ ହୋଇ ଐଶ୍ୱର୍ଯ୍ୟ ଭୋଗଲାଳସା ତ୍ୟାଗ କରି ଏହାଙ୍କ ସଙ୍ଗରେ ଜୀବନଯାପନ କରିବା ପାଇଁ ସଂକଳ୍ପ କରି, ସତ୍ୟବାନଙ୍କୁ ପତି ରୂପେ ମନୋନୀତ କରି ରାଜଧାନୀକୁ ଫେରି ପିତାଙ୍କୁ ଜଣାଇଲେ ।

ଏହି ସମୟରେ ନାରଦ ଉପସ୍ଥିତ ହୋଇ ସତ୍ୟବାନଙ୍କ ପରମାୟୁ ଆଉ ମାତ୍ର ଏକ ବର୍ଷ ଥିବା ଜଣାଇ ନିଜ ମତ ବଦଳାଇବାକୁ ସାବିତ୍ରୀଙ୍କୁ ଅନୁରୋଧ କଲେ । ମାତ୍ର ସାବିତ୍ରୀ ଏ’ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ନିଜ ନିଷ୍ପତ୍ତିରେ ଅଟଳ ରହିଲେ । ଅଗତ୍ୟା ଉଭୟ ପକ୍ଷଙ୍କ ପିତାମାତାଙ୍କ ଅନୁମତି କ୍ରମେ ସାବିତ୍ରୀଙ୍କର ସତ୍ୟବାନଙ୍କ ସହିତ ଯଥାରୀତି ବିବାହ ସମ୍ପନ୍ନ ହେଲା । ବିବାହ ପରେ ସାବିତ୍ରୀ ପିତୃଗୃହର ରାଜ ସମ୍ପଦ, ବିଳାସ ଓ ଦାସଦାସୀ ବର୍ଗଙ୍କୁ ତ୍ୟାଗ କରି ସ୍ୱାମୀଙ୍କ ସହିତ ତପୋବନର କୁଟୀରରେ ରହି ଶାଶୁ ଓ ଶ୍ୱଶୁରଙ୍କ ସେବାରେ ଲାଗିଲେ ।

ବିବାହ ର ଏକ ବର୍ଷ ପୂରିବାକୁ ତିନି ଦିନ ପୂର୍ବରୁ ସାବିତ୍ରୀ ତ୍ରିରାତ୍ର- ବ୍ରତ ଅବଲମ୍ବନ କଲେ । ଅନନ୍ତର ଯେଉଁଦିନ ଏକ ବର୍ଷ ପୂର୍ଣ୍ଣ ହେବ ଓ ସତ୍ୟବାନଙ୍କର ପରମାୟୁ ଶେଷ ହେବ, ସେଦିନ ସତ୍ୟବାନ ଫଳମୂଳ ଓ ସମିଧ ସଂଗ୍ରହ କରିବାକୁ ବଣକୁ ଯିବାବେଳେ ସାବିତ୍ରୀ ତାଙ୍କ ସଙ୍ଗରେ ଗଲେ । ବଣରେ ସତ୍ୟବାନ ଅଶ୍ୱସ୍ତି ବୋଧ କରିବାରୁ ସାବିତ୍ରୀଙ୍କ କୋଳରେ ମୁଣ୍ଡ ରଖି ନିଦ୍ରା ଗଲେ । ତାହା ହିଁ ତାଙ୍କର ମହାନିଦ୍ରା (ମୃତ୍ୟୁ) ହେଲା ।

କିନ୍ତୁ ସାବିତ୍ରୀ ନିଜ ମୃତ ସ୍ୱାମୀଙ୍କ ମସ୍ତକକୁ ନିଜ କୋଳରେ ରଖି ସେହିଠାରେ ବସି ରହିଲେ । ଯମଦୂତ ମାନେ ସତ୍ୟବାନଙ୍କ ଜୀବ ନେବା ପାଇଁ ଆସି ସାଧ୍ୱୀ ସାବିତ୍ରୀଙ୍କ ନିକଟରୁ ଛଡ଼ାଇ ନେଇ ନ’ ପାରି ଫେରିଗଲେ । ବିଫଳ ଯମଦୂତଙ୍କ ଠାରୁ ଖବର ପାଇ ନିଜେ ଯମ ଆସି ସେଠାରେ ପହଞ୍ଚି ସତ୍ୟବାନଙ୍କ ଜୀବ ଧରି ବାହାରିଲେ । ସାବିତ୍ରୀ ମଧ୍ୟ ଯମଙ୍କୁ ଅନୁଗମନ କଲେ । ଯମରାଜା ସାବିତ୍ରୀଙ୍କ ପତିଭକ୍ତି ଓ ସ୍ତୁତି ପାଠରେ ସନ୍ତୁଷ୍ଟ ହୋଇ ସତ୍ୟବାନଙ୍କ ବଦଳରେ ତିନୋଟି ବର ଦେବାକୁ ସତ୍ୟକଲେ । ସର୍ତ୍ତ ରଖିଲେ ଯେ, ସତ୍ୟବାନଙ୍କ ଜୀବନ ବଦଳରେ ଆଉ ଯାହା କିଛି ମାଗି ପାରନ୍ତି ।

ଏହି କ୍ରମରେ ପ୍ରଥମ ବରରେ ଶ୍ୱଶୁରଙ୍କ ନଷ୍ଟ ଚକ୍ଷୁ ଓ ହୃତ ରାଜ୍ୟ ପୁନଃ ପ୍ରାପ୍ତ, ଦ୍ୱିତୀୟ ବରରେ ନିଜ ପିତାଙ୍କ ପାଇଁ ଏକ ପୁତ୍ର ସନ୍ତାନ ଏବଂ ତୃତୀୟ ବରରେ ନିଜ ଗର୍ଭରୁ ଶତପୁତ୍ର କାମନା କଲେ । ଯମ ତଥାସ୍ତୁ କହି, ଫେରିଯିବାକୁ କହିବାରୁ, ସାବିତ୍ରୀ ସ୍ୱାମୀଙ୍କ ବିନା କିପରି ଶତପୁତ୍ର ପାଇବେ ବୋଲି ପଚାରିଲେ । ଅଗତ୍ୟା ନିରୁପାୟ ହୋଇ ସତ୍ୟବାନଙ୍କୁ ପୁନଃ ଜୀବିତ କରାଇ ଆୟୁଦାନ କରିଥିଲେ ।