ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷିବ : ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

0
150
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୪/୦୮) : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟ ର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏଥିପାଇଁ ପଶ୍ଚିମ ଓଡ଼ିଶା ର ୪ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୧ ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ର ର ସୂଚନା ଅନୁସାରେ, ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷା ର ପ୍ରଭାବ ରହିବ ।

ପଶ୍ଚିମ ଓଡ଼ିଶା ର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିଲାଗି ୪ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡା । ଏହି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ୭ ରୁ ୨୦ ସେମି ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୧୧ ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।