ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଆରମ୍ଭ : ୨୦ ରେ ଲଘୁଚାପ

0
127
ଘୂର୍ଣ୍ଣିବଳୟ

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୮/୦୯) : ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟ ର ବିଭିନ୍ନ ଜିଲ୍ଲାରେ ଆଜି ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲା ର କିଛି ଅଞ୍ଚଳରେ ବର୍ଷା ଚାଲିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଓ ଘଡ଼ଘଡ଼ି ନେଇ ଆଜି ସକାଳ ସାଢ଼େ ୮ ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୨୧ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ । ଏହି ଜିଲ୍ଲା ଗୁଡ଼ିକ ମଧ୍ୟରୁ କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ର କିଛି ସ୍ଥାନରେ ପ୍ରବଳରୁ ବର୍ଷା (୭ ସେଣ୍ଟିମିଟରରୁ ୧୧ ସେଣ୍ଟିମିଟର) ହୋଇପାରେ ।

ପୂର୍ବକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ ଓ ୨୧ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଲଘୁଚାପ ପ୍ରଭାବରେ ୨୦, ୨୧ ଓ ୨ ତାରିଖରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ୨୦ ତାରିଖରୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି ।