ଦାନା ବାନ୍ଧୁଛି ବାତ୍ୟା ‘ସିତ୍ରାଙ୍ଗ’ !

0
133
ଦାନା ବାନ୍ଧୁଛି

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୨/୧୦) : ସମୁଦ୍ରରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ । ଏବେ ଏହା କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନିଭୂତ ହୋଇ ଲଘୁଚାପ ରୂପରେ ରହିଛି । ଆଗାମୀ କିଛି ଘଣ୍ଟାରେ ଏହା ଅବପାତ ଓ ପରେ ଗଭୀର ଅବପାତର ରୂପ ନେବ । ଏହା ପ୍ରଭାବରେ ରାଜ୍ୟରେ ୨୩ ତାରିଖରୁ ବର୍ଷା ଆରମ୍ଭ ହୋଇଯିବ । ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

ଦାନା ବାନ୍ଧୁଛି ବାତ୍ୟା ‘ସିତ୍ରାଙ୍ଗ’ ! ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ ଓଡ଼ିଶାରେ ସ୍ଥଳ ଭାଗ ଛୁଇଁବ ନାହିଁ । ଓଡ଼ିଶା ଉପକୂଳରୁ କିଛି ଦୂରରେ ଘଷି ହୋଇ ପଶ୍ଚିମବଙ୍ଗ-ବାଂଲାଦେଶ ଆଡ଼କୁ ମୁହାଁଇବ । ଏହା ପ୍ରଭାବରେ ୨୩ ରାତିରୁ ଉପକୂଳରେ ବର୍ଷା ଆରମ୍ଭ ହେବ । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୪ ରୁ ୨୫ ତାରିଖ ଭିତରେ ଓଡ଼ିଶା ଉପକୂଳ ଦେଇ ବାତ୍ୟା ଅତିକ୍ରମ କରିବା ସମୟରେ ଉପକୂଳରେ ବର୍ଷାର ପରିମାଣ ବଢିବା ସହ ପବନ ବି ବଢିବ । ତେଣୁ ୨୪ ତାରିଖରେ ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ।

ଏହାସହ ୨୫ ତାରିଖରେ ଉତ୍ତର ଉପକୂଳର ୩ ଜିଲ୍ଲାରେ ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ ତଟବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୭୦ କିଲୋମିଟର ବେଗରେ ପବନ ବୋହିବାର ଆକଳନ କରିଛି ପାଣିପାଗ କେନ୍ଦ୍ର ।