ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ଯୋଗୁ କ୍ଷତିଗ୍ରସ୍ତ ଲୋକଙ୍କୁ ରିଲିଫ ଯୋଗାଇବେ ମୁଖ୍ୟମନ୍ତ୍ରୀ

ରିପୋର୍ଟ: ଶୁଭାଶିଷ ନାୟକ //
ଭୁବନେଶ୍ୱର (୨୬/୦୫): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହିତ ବାତ୍ୟା ୟାସର ପ୍ରଭାବ, ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ଯୋଗୁ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର ୧୨୮ଟି ଜଳମଗ୍ନ ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପାଇଁ ରିଲିଫ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

ଏହି ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବାତ୍ୟା ୟାସ ସମୟରେ ସମସ୍ତ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳ ଓ ଅନ୍ୟାନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାରେ ଉଲ୍ଲେଖନୀୟ କାର୍ଯ୍ୟ ଓ ସହଯୋଗ ପାଇଁ ସମସ୍ତ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ, ନାଗରିକ ସଂଗଠନ (Community Organizations) NDRF ,ODRF ଏବଂ ପୋଲିସ- ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେହିପରି ବାତ୍ୟା ସମୟରେ ରୋଗୀ ମାନଙ୍କୁ ନିରବଚ୍ଛିନ୍ନ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଏହାସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର ସମସ୍ତ ପ୍ରମୁଖ ରାସ୍ତା ଗୁଡିକ ଯୋଗାଯୋଗ ସ୍ବଭାବିକ କରାଯିବା ଏବଂ ୮୦ ପ୍ରତିଶତ ଅଞ୍ଚଳରେ ବିଦ୍ୟୁତ ପୁନଃସଂଯୋଗ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମୟୂରଭଂଜର କୁସୁମି ବ୍ଲକ୍‌ରେ ଏହି ସମୟରେ ସର୍ବାଧିକ ୩୦୫ ମିଲିମିଟର ଓ କେନ୍ଦ୍ରାପଡା ଜିଲ୍ଲାରେ ୨୧୦ ମିଲିମିଟର ବର୍ଷା ହୋଇଥିବା ସଂପର୍କରେ ସେ ସୂଚନା ଦେଇଥିଲେ।ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5 T) ଶ୍ରୀ ଭି କେ ପାଣ୍ଡିଆନ୍ ଆଲୋଚନା ସଯୋଜନା କରିଥିଲେ ।

Welcome to Odisha News24

error: Content is protected !!
Chat on Whatsapp
1
Hello
Hello
How Can I Help You ?
%d bloggers like this: