ଭୁବନେଶ୍ବର, (୧୪/୦୭) : ଆପ୍ର : ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୫ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶା ଏବଂ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ସୋମବାର ବାଲେଶ୍ବର, ଚାନ୍ଦବାଲି, ପାରାଦ୍ବୀପ, ବାରିପଦା ଏବଂ କେନ୍ଦ୍ରାପଡ଼ାରେ ହାଲୁକା ବର୍ଷା ହୋଇଛି । ମଙ୍ଗଳବାର ଏବଂ ବୁଧବାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ,ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲ୍ଲା ଗୁଡିକୁ ୟେଲୋୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟର ଅବଶିଷ୍ଟ ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

