ଭୁବନେଶ୍ୱର, (୧୪/୦୭) : ଆପ୍ର : ଆଉ ଗୋଟିଏ ଦିନ ପରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି ।
ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡାକ୍ତର ଅରବିନ୍ଦ ପାଢ଼ୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ନିମନ୍ତ୍ରଣ ପତ୍ର ଦେଇଛନ୍ତି । ନିକଟରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ବିସ୍ତୃତ ସମୀକ୍ଷା କରିଛନ୍ତି । ନୀତିକାନ୍ତିରେ ସମୟାନୁବର୍ତ୍ତିତା, ରଥ ଓ ଯାତ୍ରୀଙ୍କ ସୁରକ୍ଷା, ଭିଡ ନିୟନ୍ତ୍ରଣ ଏବଂ ଅଗ୍ନିଶମ ସେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରି କହିଥିଲେ ଯେ, ଦକ୍ଷ ଓ ଅଭିଜ୍ଞ ଅଧିକାରୀଙ୍କ ପରିଚାଳନାରେ ରଥଯାତ୍ରା ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ ହୋଇପାରିବ । ସମନ୍ୱୟ ବା କୋ-ଅର୍ଡିନେସନ ଉପରେ ପୁନର୍ବାର ଗୁରୁତ୍ୱ ଆରୋପ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ପ୍ରତ୍ୟେକ ସ୍ତରରେ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ତଥା ଆବଶ୍ୟକତା ଅନୁଯାୟୀ ପଦକ୍ଷେପ ନେବାପାଇଁ ନିରନ୍ତର ସୂଚନା ପ୍ରଦାନର ବ୍ୟବସ୍ଥା ରହିବା ଆବଶ୍ୟକ ।
କୌଣସି ପରିସ୍ଥିତିରେ ଯେପରି କମ୍ୟୁନିକେସନ ଗ୍ୟାପ ନରୁହେ, ସେଥିପ୍ରତି ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ସେହିପରି କର୍ଡନ ପରିଚାଳନା, ମହିଳାମାନଙ୍କ ସୁରକ୍ଷା, ସନ୍ଦିଗ୍ଧ ଓ ନିଶା ସେବନକାରୀଙ୍କ ଉପରେ ନଜର, ଟ୍ରାଫିକ ବ୍ୟବସ୍ଥା, ଖାଦ୍ୟ ଓ ପାନୀୟ ଜଳର ମାନ ଯାଞ୍ଚ, ଜରୁରୀକାଳୀନ ଇଭାକ୍ୟୁସନ, ପାଣିପାଗକୁ ଦେଖି ଉପଯୁକ୍ତ ପଦକ୍ଷେପ ଆଦି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରି ସମ୍ପୂର୍ଣ୍ଣ ବ୍ୟବସ୍ଥାକୁ ଫୁଲ୍-ପ୍ରୁଫ୍ କରିବା ପାଇଁ ପରାମର୍ଶ ଦେଇଥିଲେ ।

