ସୁବର୍ଣ୍ଣପୁର, (୦୭/୦୯) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଏହି ଶିବିରରେ ଭାରପ୍ରାପ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ରାଜେନ୍ଦ୍ର ମାଝୀ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୩୧ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୧୮ ବ୍ୟକ୍ତିଗତ ଏବଂ ୧୩ଟି ସାମୂହିକ ଦରଖାସ୍ତ ଥିଲା । ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି ।
ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର , ସୋନପୁର ଉପ ଜିଲ୍ଲାପାଳ ଡ.ସୌମ୍ୟରୂପା ରଥ, ସୋନପୁର ତହସିଲଦାର ଜି ରଶ୍ମିରେଖା, ସୋନପୁର ବିଡିଓ ପ୍ରତୀକ କର, ସହାୟକ ଜିଲ୍ଲାପାଳ ଅଭିଯୋଗ ଶାଖା ପ୍ରିୟଦର୍ଶିନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ ।

