ପୁରୀ, (୨୧/୧୧) : ଆପ୍ର : ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପଞ୍ଚୁକ ନୀତି ସହ ହରି ଉତ୍ଥାପନ ଏକାଦଶୀ । ଏଥିପାଇଁ ହଜାର ହଜାର ଶ୍ରଦ୍ଧାଳୁ ଓ ହବିଷ୍ୟାଳୀଙ୍କ ଭିଡ଼ ଲାଗିଛି ଶ୍ରୀକ୍ଷେତ୍ରରେ ।
ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବା ସହ ମହାପ୍ରଭୁ ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶରେ ସଜ୍ଜିତ ହୋଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ଜିଲ୍ଲା ପ୍ରଶାସନ ପକ୍ଷରୁ ମାର୍କେଟ ଛକ ଠାରୁ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ ଭିତରେ ଆସି ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରିବା ସହ ଅନ୍ୟ ତିନିଦ୍ୱାର ଦେଇ ପ୍ରସ୍ଥାନ କରୁଛନ୍ତି ।
ଭକ୍ତଙ୍କ ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନକୁ ନଜରରେ ରଖି ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ, ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ସୁପରିଚାଳନା ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଦୀର୍ଘ ଏକାମାସ ଧରି ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରୁଥିବା ହବିଷ୍ୟାଳୀଙ୍କ ପାଇଁ ପଞ୍ଚୁକ ବ୍ରତ ବେଶ୍ ମହତ୍ୱ ରଖିଥାଏ ବୋଲି ବିଶ୍ୱାସ ରହିଛି । ତେବେ ଚଳିତ ଥର ଦ୍ୱାଦଶୀ ତିଥିରେ କ୍ଷୟ ପଡିବାରୁ ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ପଡୁଛି । ଫଳରେ ଭକ୍ତମାନେ ମହାପ୍ରଭୁଙ୍କର ବାଙ୍କଚୂଡ ବେଶ ଦର୍ଶନରୁ ବଂଚିତ ହେବେ ।

